Torrential rain causing flood.
ଭୁବନେଶ୍ୱର,୨୨।୬(ବ୍ୟୁରୋ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ସକ୍ରିୟ ରହିଛି। ଏଥିସହିତ ଉତ୍ତର ଓଡ଼ିଶା ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଫଳରେ ଝାଡ଼ଖଣ୍ଡ, ପଶ୍ଚିମବଙ୍ଗ ଉପରେ ଏକ ଟ୍ରପ ଲାଇନ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ନୂଆପଡ଼ା, ନବରଙ୍ଗପୁର, ବରଗଡ଼, ବଲାଙ୍ଗୀର, କଳାହାଣ୍ଡି ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏଥିସହିତ କନ୍ଧମାଳ, ବୌଦ୍ଧ, ସୋନପୁର, ସମ୍ବଲପୁର, ଝାରସୁଗୁଡ଼ା ଏବଂ ସୁନ୍ଦରଗଡ଼ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ସକ୍ରିୟ ରହିଥିବାରୁ ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହୁଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଗତ ୪୮ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼ରେ ୧୦୮ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ଚାନ୍ଦବାଲି ୧୬.୮, ଝାରସୁଗୁଡା ୬୩.୮, ସମ୍ବଲପୁର ୩୮, ହୀରାକୁଦ ୨୧.୪, ଭବାନୀପାଟଣା ୩୯.୬, ବଲାଙ୍ଗୀର ୮.୪, କୋରାପୁଟ ୨୭.୮, ଫୁଲବାଣୀ ୧୩, ଟିଟିଲାଗଡ ୯୭, ଦାରିଙ୍ଗବାଡି ୨୧, ଛତ୍ରପୁର ୨୫, ପାରଳାଖେମୁଣ୍ଡି ୧୩.୨ ଏବଂ ରାୟଗଡ଼ା ଜିଲାରେ ୩୩ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ତେବେ ଜୁନ୍ ପହିଲାରୁ ୨୧ ତାରିଖ ମଧ୍ୟରେ ରାଜ୍ୟରେ ସ୍ବାଭାବିକ ଠାରୁ ୩୬ ପ୍ରତିଶତ ଅଧିକ ବର୍ଷ ରେକର୍ଡ କରାଯାଇଛି। ଏହି ସମୟ ମଧ୍ୟରେ ସ୍ବାଭାବିକ ଭାବେ ୧୨୬.୫ ମିଲିମିଟର ବର୍ଷା ହେବାକୁ ଥିବା ବେଳେ ହୋଇଛି ୧୭୨.୩ ମିଲିମିଟର ।