୨୪ ଘଣ୍ଟାରେ ମୌସୁମୀ: କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଞ୍ଜାମ, ଗଜପତିରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୦।୬(ବ୍ୟୁରୋ)-ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟକୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିବ। ଏଥିପାଇଁ ପାଗ ଅନୁକୂଳ ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଦକ୍ଷିଣ ଓଡ଼ିଶା ଦେଇ ମୌସୁମୀ ରାଜ୍ୟକୁ ପ୍ରବେଶ କରିବା ସମ୍ଭାବନା ରହିଛି। ଏଥିଯୋଗୁ ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ଏଥିସହିତ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଢେଙ୍କାନାଳ, ଅନୁଗୋଳ, କଟକ, ଖୋର୍ଦ୍ଧା, ସୋନପୁର, ବୌଦ୍ଧ, କନ୍ଧମାଳ. ଗଞ୍ଜାମ, ଯାଜପୁର, ଭଦ୍ରକ ଏବଂ ନୟାଗଡ଼ ଜିଲାର କେତେକ ଅଞ୍ଚଳରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୩୦ରୁ ୪୦ କିମି ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ୧୧ ତାରିଖରେ କୋରାପୁଟ, ମାଲକାନଗିରି, ଗଜପତି ଏବଂ ଗଞ୍ଜାମ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି। ଏ ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଲଘୁଚାପ ସୃଷ୍ଟି ହୋଇଥିଲେ ମଧ୍ୟ ରାଜ୍ୟକୁ ସେତେ ଭଲ ବର୍ଷା ମିଳିବ ନାହିଁ। ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସାମାନ୍ୟ ଅଧିକ ହେଲେ ମଧ୍ୟ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ୧୨ ତାରିଖରୁ ବର୍ଷା କମି ଯିବ। ମୌସୁମୀ ଛତିଶଗଡ଼ ଉପରକୁ ଚାଲିଯିବ। ଏହାର ୪ ଦିନ ପରେ ଅର୍ଥାତ୍‌ ୧୭ ଓ ୧୮ ତାରିଖରେ ପୁଣି ମୌସୁମୀ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି।