ଲଘୁଚାପ: ୨ ଦିନ ପ୍ରବଳ ବର୍ଷା

ଭୁବନେଶ୍ୱର,୧୪ା୮(ବ୍ୟୁରୋ)- ଉତ୍ତର ଓଡ଼ିଶା ଓ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏଥିସହିତ ସମୁଦ୍ର ପତ୍ତନରୁ ୭.୬ କିମି ଉପର ଦକ୍ଷିଣ ପଶ୍ଚିମ ଦିଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଅଧିକ ସକ୍ରିୟ ହୋଇଛି। ଏଥିଯୋଗୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପୁରୀ, ଜଗତ୍‌ସିଂହପୁର, ସମ୍ବଲପୁର, ଅନୁଗୋଳ ଏବଂ ଦେବଗଡ଼ ଜିଲାର କେତେକ ଅଞ୍ଚଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ଏହି ସମୟରେ କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ଭଦ୍ରକ, ଢେଙ୍କାନାଳ, ବୌଦ୍ଧ, ସୁବର୍ଣ୍ଣପୁର, ବରଗଡ଼, ବଲାଙ୍ଗୀର ଜିଲାର କେତେକ ସ୍ଥାନରେ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। କନ୍ଧମାଳ, କଳାହାଣ୍ଡି, ଗଞ୍ଜାମ, ଖୋର୍ଦ୍ଧା, ନୟାଗଡ଼, ମାଲକାନଗିରି ଏବଂ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ସତର୍କ କରିଛି। ୧୫ ତାରିଖରେ ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବଲାଙ୍ଗୀର, ଦେବଗଡ଼, ଅନୁଗୋଳ, ବୌଦ୍ଧ, ନୂଆପଡ଼ା ଏବଂ ସୁବର୍ଣ୍ଣପୁର ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଏହି ସବୁ ଜିଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସେହିଦିନ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର, କଳାହାଣ୍ଡି ଏବଂ ଢେଙ୍କାନାଳ ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ। ଏନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଲଘୁଚାପ ଯୋଗୁ ୧୬ ତାରିଖରେ ମଧ୍ୟ ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ବରଗଡ଼, ନୂଆପଡ଼ା, ନବରଙ୍ଗପୁର, ବୌଦ୍ଧ ଏବଂ ବଲାଙ୍ଗୀର ଜିଲାରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି। ଲଘୁଚାପ ଯୋଗୁ ଉପକୂଳରେ ଘଣ୍ଟାକୁ ୪୫ରୁ ୫୫ କିମି ବେଗରେ ପବନ ବହିବାର ସମ୍ଭାବନା ଅଛି। ଏହି ସମୟରେ ସମୁଦ୍ରକୁ ନ ଯିବା ଲାଗି ମତ୍ସ୍ୟଜୀବୀମାନଙ୍କୁ ସତର୍କ କରାଯାଇଛି। ଲଘୁଚାପକୁ ଦୃଷ୍ଟିରେ ରଖି ସ୍ବତନ୍ତ୍ର ରିଲିଫ୍‌ କିମିଶନର(ଏସ୍‌ଆର୍‌ସି)ଙ୍କ କାର୍ଯ୍ୟାଳୟ ପକ୍ଷରୁ ଜିଲାପାଳମାନଙ୍କୁ ସତର୍କ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।