ଭୁବନେଶ୍ୱର,୮।୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଗଞ୍ଜାମ ଜିଲା ଗସ୍ତରେ ଯାଇ ଗାଙ୍ଗଦହଣୀ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ମହୋତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବା ସହିତ ପ୍ରସିଦ୍ଧ ତାରାତାରିଣୀ ପୀଠରେ ମା’ ତାରାତାରିଣୀଙ୍କୁ ଦର୍ଶନ କରିବା ସହିତ ଏହି ଅଂଚଳର ଭିତ୍ତଭୂମି ବିକାଶ ନିମନ୍ତେ ଜିଲ୍ଲା ପ୍ରଶାସନ ସହିତ ସମୀକ୍ଷା କରିଛନ୍ତି।
ମୁଖ୍ୟମନ୍ତ୍ରୀ ଗାଙ୍ଗଦହଣୀ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ମହୋତ୍ସବରେ ଯୋଗଦେବା ପୂର୍ବରୁ ତାରାତାରିଣୀ ପୀଠ ବୁଲି ଦେଖିଥିଲେ ଏବଂ ଏହି ଅଂଚଳର ଉନ୍ନତିକରଣ ପାଇଁ ବିଭିନ୍ନ କାର୍ଯ୍ୟକାରୀ ହେବାକୁ ଭିତ୍ତିଭୂମିର ବିକାଶ ପାଇଁ ସ୍ଥାନୀୟ ଲୋକପ୍ରନିଧିଙ୍କ ସହିତ ଆଲୋଚନା କରିଥିଲେ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟ ସରକାର ମା’ ତାରାତାରିଣୀ ପୀଠର ଭିତ୍ତିଭୂମି ବିକାଶ ନିମନ୍ତେ ୬୮ କୋଟି ଟଙ୍କା ଦେଇଛନ୍ତି । ଏଥିରେ ସୁରକ୍ଷା ଓ ପରିମଳ ବ୍ୟବସ୍ଥା, ଗୋଟିଏ ସ୍ଵୟଂଚାଳିତ ରନ୍ଧାଯନ୍ତ୍ର ପ୍ରତିଷ୍ଠା (ପାହାଡ ଉପରେ), ୯୯୯ ପଥର ପାହାଚର ମରାମତି ଓ ପୁନଃ ନିର୍ମାଣ, ଯାନବାହାନ ରହଣୀସ୍ଥଳ ଓ ହେଲିପ୍ୟାଡ୍ପାଇଁ ଜମି ଅଧିଗ୍ରହଣ ଦିଗରେ ପଦକ୍ଷେପ ଗ୍ରହଣ କରାଯାଇଛି।
ମୁଖ୍ୟମନ୍ତ୍ରୀ କହିଛନ୍ତିଯେ, ଏହା ସହିତ ଭକ୍ତ, ଯାତ୍ରୀମାନଙ୍କୁ ଆବଶ୍ୟକୀୟ ସୁବିଧା ସୁଯୋଗ ଯୋଗାଇଦେବା ତଥା ଆଧ୍ୟାତ୍ମିକ ଓ ସାଂସ୍କୃତିକ ଅନୁଭବ ଉପଲବ୍ଧ କରାଇବା ମହତ୍ତ୍ ଉଦ୍ଦେଶ୍ୟ ନେଇ ରାଜ୍ୟ ସରକାର ପୁଣି ୩୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଏଥିରେ ସିଂହଦ୍ଵାର ସାମନାରେ ବହୁତଳ ବିଶିଷ୍ଟ ଧର୍ମଶାଳା, ବଣଭୋଜି ସ୍ଥଳ, ରାସ୍ତାଘାଟ ଉନ୍ନତିକରଣ ଯଥା ନବ ନିର୍ମିତ ପୋଲ ଠାରୁ ମୁଖ୍ୟରାସ୍ତା ଓ ଘାଟ ରୋଡ ପାର୍ଶ୍ଵରେ ସୁରକ୍ଷା ପ୍ରାଚୀର, ଆଲୋକୀକରଣ, ସାଇନ୍ ବୋର୍ଡ, ମନ୍ଦିର ଚତୁର୍ଦ୍ଦିଗରେ ୫ ଗୋଟି ଗୁମୁଟ, ମନ୍ଦିର ଉତ୍ତରପାର୍ଶ୍ଵ ଉନ୍ନତିକରଣ, ଋଷିକୂଲ୍ୟା ନଦୀ ପଠାରେ ହେବାକୁଥିବା ଅନ୍ୟାନ୍ୟ ଉନ୍ନତିକରଣ କାର୍ଯ୍ୟକ୍ରମ ୨୫ କୋଟି ଟଙ୍କା ବ୍ୟୟରେ କରାଯିବ । ଏହା ସହିତ ମନ୍ଦିର ସମେତ ଅନ୍ୟାନ୍ୟ କୋଠାବାଡି ରକ୍ଷଣାବେକ୍ଷଣ ନିମନ୍ତେ ୫ କୋଟି ଟଙ୍କା ସ୍ଥାୟୀଜମା ଆକାରରେ ରଖାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


