୯ରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର,୪। ୮(ବ୍ୟୁରୋ): ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଅଧିକ ଘନୀଭୂତ ହୋଇ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଏଥିସହିତ ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳ ଏବଂ ଉତ୍ତର ପୂର୍ବ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଆଉ ଦୁଇଟି ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୬ ତାରିଖ ଯାଏ ଦକ୍ଷିଣ ଓଡ଼ିଶା ଏବଂ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମ, କନ୍ଧମାଳ, ମୟୂରଭଞ୍ଜ, ଭଦ୍ରକ ଏବଂ ଯାଜପୁର ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହିତ ପୁରୀ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ବାଲେଶ୍ୱର, ବଲାଙ୍ଗୀର ଏବଂ ବୌଦ୍ଧ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଏଲୋଓ୍ବାର୍ନିଂ ଜାରି କରାଯାଇଛି।
୪ ତାରିଖରେ ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, ଯାଜପୁର, ଅନୁଗୋଳ, ବୌଦ୍ଧ, ଢେଙ୍କାନାଳ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ କନ୍ଧମାଳ, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଦେବଗଡ଼, କେନ୍ଦୁଝର ଏବଂ କଟକ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୫ତାରିଖରେ ନୂଆପଡ଼ା, ବଲାଙ୍ଗୀର, ଅନୁଗୋଳ ଏବଂ କେନ୍ଦୁଝର ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୬ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର ଏବଂ ନବରଙ୍ଗପୁର ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଏଲୋଓ୍ବାର୍ନିଂ ଜାରି କରାଯାଇଛି। ଦୁଇଦିନ ବର୍ଷିବା ପରେ ୬ ତାରିଖଠାରୁ ବର୍ଷା ପରିମାଣ ହ୍ରାସ ପାଇବ। ତେବେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆସନ୍ତା ୯ ତାରିଖରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି।