ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ)- ଦକ୍ଷିଣ ବାଂଲାଦେଶ ଓ ଏହା ପାଖାପାଖି ଉତ୍ତର ବଙ୍ଗୋପସାଗର ନିକଟରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ର ପତ୍ତନଠାରୁ ୫.୮ କି.ମି ପର୍ଯ୍ୟନ୍ତ ବ୍ୟାପିଛି। ଘୂର୍ଣ୍ଣିବଳୟ ପ୍ରଭାବରେ ୧୨ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହାରି ଭିତରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ବିଦାୟ ନେବାକୁ ଯାଉଛି। ଆଗାମୀ ୩/୪ ଦିନ ମଧ୍ୟରେ ଓଡ଼ିଶାର କିଛି ସ୍ଥାନରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନ କରିବାକୁ ପାଗ ଅନୁକୂଳ ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶକ ଡ. ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ତେଣୁ ଏଥିପାଇଁ ରାଜ୍ୟରେ ବର୍ଷା ପରିମାଣ ବଢ଼ିପାରେ ବୋଲି ଆକଳନ କରାଯାଇଛି। ଅପରପକ୍ଷେ ଆସନ୍ତା ୨୨ ତାରିଖ ବେଳକୁ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟିହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ତେବେ ବର୍ତ୍ତମାନ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବ। ଏଥିସହ ଉପକୂଳବର୍ତ୍ତୀ ଅଞ୍ଚଳ ଏବଂ ଏହା ପାଖାପାଖି ଜିଲାଗୁଡିକରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏ ସବୁ ଅଞ୍ଚଳରେ ବର୍ଷା ସହ ବିଜୁଳି, ଘଡ଼ଘଡ଼ି ଏବଂ କିଛି ସ୍ଥାନରେ ଝଟ୍କା ପବନ ବହିବା ନେଇ ସୂଚନା ଦିଆଯାଇଛି। ଶନିବାର ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲା, ଉତ୍ତର ଉପକୂଳବର୍ତ୍ତୀ ଏବଂ ପାଖାପାଖି ଜିଲାଗୁଡିକରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।