Categories: Home Leftଖେଳ

ଆମେରିକାରେ ଏକ ମାସ ଟ୍ରେନିଂ ନେବେ ବଜରଙ୍ଗ

ନୂଆଦିଲ୍ଲୀ, ୨୯ା୧୧(ପି.ଟି.)-ରେସ୍‌ଲର ବଜରଙ୍ଗ ପୁନିଆ ଆମେରିକାରେ ଏକ ମାସ ଧରି ଟ୍ରେନିଂ କ୍ୟାମ୍ପରେ ଯୋଗଦେବେ। ମିଶନ ଅଲିମ୍ପିକ ସେଲ୍‌ ଦ୍ୱାରା ତାଙ୍କର ଏହି ଯୋଜନା ମଞ୍ଜୁର ଲାଭ କରିଛି। ଟୋକିଓ ଅଲିମ୍ପିକ୍ସରେ ବଜରଙ୍ଗ ଭାରତ ପାଇଁ ପଦକ ଜିତିବେ ବୋଲି ଆଶା ରହିଛି। ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ (ସାଇ) ଦ୍ୱାରା ମିଶନ ଅଲିମ୍ପିକ ସେଲ୍‌ ଗଠିତ। ଟାର୍ଗେଟ ଅଲିମ୍ପିକ ପୋଡିୟମ ସ୍କିମ୍‌ (ଟପ୍ସ)ରୁ କେଉଁ ଆଥ୍‌ଲେଟମାନେ ଆର୍ଥିକ ସହାୟତା ପାଇବେ ତାହା ଏହା ସ୍ଥିର କରିଥାଏ। ମିଶିିଗାନସ୍ଥିତ କ୍ଲିଫ୍‌ କିନ୍‌ ରେସ୍‌ଲିଂ କ୍ଲବଠାରେ ଡିସେମ୍ବର ୪ରୁ ଜାନୁୟାରୀ ୩ ପର୍ଯ୍ୟନ୍ତ କ୍ୟାମ୍ପ ଅନୁଷ୍ଠିତ ହେବ। ଏବାବଦରେ ୧୪ ଲକ୍ଷ ଟଙ୍କା ଖର୍ଚ୍ଚ ହେବ। କରୋନା ଭାଇରସ୍‌ ଲକ୍‌ଡାଉନ୍‌ ଉଠିବା ପରେ ବଜରଙ୍ଗ ସୋନେପତସ୍ଥିତ ସାଇ ସେଣ୍ଟରେ ଟ୍ରେନିଂ ନେଇଛନ୍ତି। କୋଚ୍‌ ଏମଜାରିଅସ୍‌ ବେଣ୍ଟିନ୍‌ଡିସ୍‌ ଏବଂ ଫିଜିଓ ଧନଞ୍ଜୟଙ୍କ ସହ ଆମେରିକା ଗସ୍ତ କରିବେ। ସେଠାରେ ମୁଖ୍ୟ କୋଚ୍‌ ସର୍ଗେଇ ବେଲୋଗ୍ଲାଜୋଭ୍‌ଙ୍କ ଅଧୀନରେ ଅନ୍ୟ ଟପ୍‌ ଅନ୍ତର୍ଜାତୀୟ ରେସ୍‌ଲରମାନଙ୍କ ସହ ସେ ତାଲିମ ନେବେ। ବେଲୋଗ୍ଲାଜୋଭ୍‌ ହେଉଛନ୍ତି ଦୁଇଥର ଅଲିମ୍ପିକ ଚାମ୍ପିୟନ॥ ବଜରଙ୍ଗ ୨୦୧୯ ବିଶ୍ୱ ଚାମ୍ପିୟନଶିପ୍‌ରେ ଟୋକିଓ ଅଲିମ୍ପିକ୍ସ ପାଇଁ କୋଟା ହାସଲ କରିସାରିଛନ୍ତି। ୬୫କେଜି ଶ୍ରେଣୀରେ ବିଶ୍ୱର ୨ନମ୍ବର ମାନ୍ୟତାପ୍ରାପ୍ତ ଏହି ଭାରତୀୟ ରେସ୍‌ଲର ଡିସେମ୍ବର ୧୨ରୁ ୧୮ ପର୍ଯ୍ୟନ୍ତ ସର୍ବିୟାର ବେଲ୍‌ଗ୍ରେଡ୍‌ରେ ହେବାକୁଥିବା ବ୍ୟକ୍ତିଗତ ବିଶ୍ୱକପ୍‌ରେ ଅଂଶଗ୍ରହଣ ନ କରି ଆମେରିକାରେ ଟ୍ରେନିଂ ନେବାକୁ ପସନ୍ଦ କରିଥିଲେ।