୧୦ ଦିନ ମଧ୍ୟରେ ସବୁ କୋଭିଡ୍‌ ହସ୍ପିଟାଲକୁ ପ୍ରସ୍ତୁତ କର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪।୧(ବ୍ୟୁରୋ): ଓଡ଼ିଶାରେ ଦିନକୁ ଦିନ ବଢ଼ିବାରେ ଲାଗିଲାଣି କୋଭିଡ୍‌ ସଂକ୍ରମଣ। ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୧୦ ଦିନ ମଧ୍ୟରେ ରାଜ୍ୟର ସମସ୍ତ ସରକାରୀ ଏବଂ ବେସରକାରୀ କୋଭିଡ୍‌ ହସ୍ପିଟାଲକୁ ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ବିଭିନ୍ନ ବିଭାଗର ମୁଖ୍ୟ ପଦାଧିକାରୀ ଏବଂ ଜିଲାପାଳଙ୍କ ସହ କୋଭିଡ ମୁକାବିଲା ନେଇ ସମୀକ୍ଷା କରିବା ପରେ ଏହି ନିର୍ଦ୍ଦେଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି, ସାରା ଦେଶରେ ଓମିକ୍ରନ ଭାରିଆଣ୍ଟ ଦ୍ରୁତ ଗତିରେ ସଂକ୍ରମଣ କରୁଛି । ଅଳ୍ପ ଦିନ ମଧ୍ୟରେ ରୋଗୀଙ୍କ ସଂଖ୍ୟା ଦୁଇ ଗୁଣ ହୋଇଯାଉଛି । ଦେଶରେ ଖୁବ ଶୀଘ୍ର ଲକ୍ଷ ଲକ୍ଷ ସଂଖ୍ୟାରେ କୋଭିଡ ରୋଗୀ ସଂକ୍ରମଣ ଦେଖା ଦେଇପାରେ। ଓଡିଶାରେ ମଧ୍ୟ ଓମିକ୍ରନ ରୋଗୀଙ୍କ ସଂଖ୍ୟା ବଢିବା ଆରମ୍ଭ ହୋଇଛି। ତେଣୁ ଜନସାଧାରଣଙ୍କୁ ବିଶେଷ ଅସୁବିଧାରେ ନ ପକାଇ କୋଭିଡ୍‌ର ଉତ୍ତମ ପରିଚାଳନା ପାଇଁ ଆମକୁ ତୁରନ୍ତ ପଦକ୍ଷେପ ନେବାକୁ ପଡିବ ବୋଲି ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇ କହିଛନ୍ତି । ତେବେ ଦ୍ୱିତୀୟ ଲହରୀର ସର୍ବୋଚ୍ଚସ୍ତରରେ ଯେତିକି ଶଯ୍ୟା ଓ ଆଇସିୟୁର ଆବଶ୍ୟକତା ହୋଇଥିଲା, ଅତି କମ୍‌ରେ ସେତିକି ପରିମାଣର ଶଯ୍ୟା ଓ ଆଇସିୟୁ ପ୍ରସ୍ତୁତ କରି ରଖିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ସେହିପରି ଜନସାଧାରଣଙ୍କ ଟିକାକରଣ ଲକ୍ଷ୍ୟ ପୂରଣ ପାଇଁ କ୍ୟାମ୍ପେନ ମୋଡ୍‌ରେ କାମ କରିବା ପାଇଁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ ୧୫ ରୁ ୧୮ ବର୍ଷ ବର୍ଗର ପିଲାମାନଙ୍କ ଟିକାକରଣ ଉପରେ ପ୍ରାଥମିକତା ଦେବାକୁ ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି। ଭୂତାଣୁ ସଂକ୍ରମଣକୁ କମ କରିବା ପାଇଁ ଆମକୁ ଉଚିତ ମାତ୍ରାରେ କଟକଣା ଜାରି କରିବାକୁ ପଡିବ। ତେବେ ଏଥିରେ ଯେପରି ଜନସାଧାରଣଙ୍କର ଜୀବିକା ଉପରେ କୌଣସି ପ୍ରଭାବ ନ ପଡେ, ସେଥିପ୍ରତି ଧ୍ୟାନ ଦେବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।