ଭୁବନେଶ୍ୱର, ୨୪ା୧୦(ବନ୍ଦନା ସେଠୀ):ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ ଶୁକ୍ରବାର ଦକ୍ଷିଣ ପୂର୍ବ ଏବଂ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବ ଏବଂ ପରବର୍ତ୍ତୀ ୨୪ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ୪ଦିନ ଧରି ବର୍ଷା ହେବା ନେଇ ଆକଳନ କରାଯାଇଛି। ଶୁକ୍ରବାର ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର ଓ ନୟାଗଡ ଜିଲାର କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ଅପରପକ୍ଷେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି। ତେବେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼ ଜିଲାର କିଛି ସ୍ଥାନରେ ହାଲୁକା କୁହୁଡ଼ି ପଡ଼ିଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଅପରପକ୍ଷରେ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲାଗୁଡ଼ିକରେ ତାପମାତ୍ରାରେ ଉଲ୍ଲେଖନୀୟ ବୃଦ୍ଧି ପରିଲକ୍ଷିତ ହୋଇଥିବା ସୂଚନା ଦିଆଯାଇଛି।
Dharitri – Odisha’s No.1 Odia Daily


