ଭବାନୀପାଟଣା,୧୮।୧୧ (ଉତ୍ତମ କୁମାର ଦାଶ): ସମ୍ଭାବ୍ୟ ବାତ୍ୟା ‘ଅକ୍ୱାନ’ର ପ୍ରଭାବକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଗୁରୁବାର) କଳାହାଣ୍ଡି ଜିଲାର ସମସ୍ତ ବିଦ୍ୟାଳୟ ବନ୍ଦ ରହିବ। ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ ଜିଲାପାଳ ପାୱାର ସଚିନ ପ୍ରକାଶ ଏନେଇ ଏକ ଜରୁରୀ ନିର୍ଦ୍ଦେଶନାମା ଜାରି କରିଛନ୍ତି।
ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆଜି ସନ୍ଧ୍ୟାରେ ଜାରି ହୋଇଥିବା ବୁଲେଟିନ୍ ଅନୁଯାୟୀ, ଭୀଷଣ ସାମୁଦ୍ରିକ ଝଡ଼ ‘ଅକ୍ୱାନ’ ଆସନ୍ତା ୨୦ ତାରିଖ ମଧ୍ୟାହ୍ନ ସୁଦ୍ଧା ଦକ୍ଷିଣ ଓଡ଼ିଶା ଉପକୂଳ ଅତିକ୍ରମ କରିବାର ଆଶଙ୍କା ରହିଛି। ଏହାର ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ସହ ଘଡ଼ଘଡ଼ି, ବଜ୍ରପାତ ଏବଂ ତୀବ୍ର ବେଗରେ ପବନ ବହିବାର ସମ୍ଭାବନା ରହିଛି।
ପାଣିପାଗ ବିଭାଗର ଏହି ପୂର୍ବାନୁମାନ ପରେ ସତର୍କତାମୂଳକ ପଦକ୍ଷେପ ସ୍ୱରୂପ ଜିଲାର ସମସ୍ତ ସରକାରୀ ଓ ଘରୋଇ ବିଦ୍ୟାଳୟ ସମେତ ଓଡ଼ିଶା ଆଦର୍ଶ ବିଦ୍ୟାଳୟ (OAV), ଏକଲବ୍ୟ ମଡେଲ୍ ଆବାସିକ ବିଦ୍ୟାଳୟ (EMRS) ଏବଂ କେନ୍ଦ୍ରୀୟ ବିଦ୍ୟାଳୟଗୁଡ଼ିକରେ ଶିଶୁ ବାଟିକାଠାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ପାଠପଢ଼ା ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି। ଏହି ନିର୍ଦ୍ଦେଶକୁ କଡ଼ାକଡ଼ି ଭାବେ ପାଳନ କରିବା ପାଇଁ ଜିଲାପାଳ ସମସ୍ତ ସମ୍ପୃକ୍ତ ଅଧିକାରୀ, ବ୍ଲକ ଶିକ୍ଷାଧିକାରୀ ଏବଂ ବିଦ୍ୟାଳୟର ପ୍ରଧାନଶିକ୍ଷକମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

