ଛତ୍ରପୁର,୧୮ା୧୧(ଦିଲ୍ଲୀପ ସାମଲ): ସମ୍ଭାବ୍ୟ ବାତ୍ୟା ‘ଅକ୍ୱାନ’ର ପ୍ରଭାବରେ ଗଞ୍ଜାମ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ଥିବାରୁ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ନଭେମ୍ବର ୨୧ ତାରିଖ ପର୍ଯ୍ୟନ୍ତ ଜିଲାର ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ସମେତ ଅଙ୍ଗନଓ୍ବାଡ଼ି କେନ୍ଦ୍ର ବନ୍ଦ ରଖିବାକୁ ଜିଲାପାଳ ନିର୍ଦ୍ଦେଶ ଜାରି କରିଛନ୍ତି।
ପାଣିପାଗ ବିଭାଗ (ଆଇଏମ୍ଡି) ପକ୍ଷରୁ ନଭେମ୍ବର ୧୯, ୨୦ ଓ ୨୧ ତାରିଖରେ ଗଞ୍ଜାମ ଜିଲା ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ ଓ୍ବାର୍ନିଂ ଜାରି ହୋଇଛି। ଏହାକୁ ଗୁରୁତ୍ୱର ସହ ନେଇ ଜିଲା ପ୍ରଶାସନ ଏହି ନିଷ୍ପତ୍ତି ନେଇଛି। ଜିଲାର ସମସ୍ତ ପ୍ରାଥମିକ, ଉଚ୍ଚ ପ୍ରାଥମିକ, ମାଧ୍ୟମିକ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଡିଗ୍ରୀ କଲେଜ, ବୈଷୟିକ ଶିକ୍ଷାନୁଷ୍ଠାନ, ବିଶ୍ୱବିଦ୍ୟାଳୟର ସମସ୍ତ ବିଭାଗ ଏବଂ ଅଙ୍ଗନଓ୍ବାଡ଼ି କେନ୍ଦ୍ର ବନ୍ଦ ରହିବ। ତେବେ ଶିକ୍ଷାନୁଷ୍ଠାନ ବନ୍ଦ ରହିଲେ ମଧ୍ୟ ସମ୍ପୃକ୍ତ କର୍ମଚାରୀମାନେ ନିଜ ନିଜ କାର୍ଯ୍ୟସ୍ଥଳୀରେ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ରହିଛି।
ଅନ୍ୟପକ୍ଷରେ, ଆବଶ୍ୟକ ପଡ଼ିଲେ ଏହି ଶିକ୍ଷାନୁଷ୍ଠାନଗୁଡ଼ିକୁ ଅସ୍ଥାୟୀ ଆଶ୍ରୟସ୍ଥଳୀ ଭାବେ ବ୍ୟବହାର କରାଯିବ। ଏଥିନିମନ୍ତେ ପାନୀୟ ଜଳ, ବିଦ୍ୟୁତ୍ ସଂଯୋଗ, ପାଓ୍ବାର ବ୍ୟାକଅପ୍ ଓ ପରିମଳ ବ୍ୟବସ୍ଥା ସମେତ ଆବଶ୍ୟକୀୟ ମୌଳିକ ସୁବିଧା ସୁନିଶ୍ଚିତ କରିବାକୁ ସମ୍ପୃକ୍ତ କର୍ତ୍ତୃପକ୍ଷଙ୍କୁ କଡ଼ା ନିର୍ଦ୍ଦେଶ ଦିଆଯାଇଛି।ସମ୍ଭାବ୍ୟ ବର୍ଷା ଓ ବନ୍ୟା ପରିସ୍ଥିତିକୁ ମୁକାବିଲା କରିବା ସହ ଜିରୋ କାଜୁଆଲିଟି ଲକ୍ଷ୍ୟ ହାସଲ ପାଇଁ ଜିଲା ପ୍ରଶାସନ ସମସ୍ତ ପ୍ରକାର ଆଗୁଆ ପ୍ରସ୍ତୁତି ଓ ସୁରକ୍ଷା ବ୍ୟବସ୍ଥା ଉପରେ ଗୁରୁତ୍ୱ ଦେଇଛି।