Categories: ଜାତୀୟ

ପୁଣି ଉପର ମୁହାଁ ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ,୧୬।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାର ନା ଧରୁନି। ଏବେ ତୃତୀୟ ଲହର ନେଇ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଏବେ ପୁଣି ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଉପରମୁହାଁ ହୋଇଛି। କେରଳ ଯୋଗୁ ଦେଶରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। କେରଳରେ ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧୭ ହଜାର ୬୮୧ ରେ ପହଞ୍ଚିଥିବାବେଳେ ମୃତକଙ୍କ ସଂଖ୍ୟା ୨୦୮ ଛୁଇଁଛି। କେରଳରେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି।

ଦେଶରେ ଏହି ସମୟ ମଧ୍ୟରେ କରୋନାରେ ୪୩୧ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩୦ ହଜାର ୫୭୦ ରେ ପହଞ୍ଚିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୩୮ ହଜାର ୩୦୩ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୭.୫୪ ପ୍ରତିଶତ ରହିଛି। ଅପରପକ୍ଷରେ ୩ ଲକ୍ଷ ୪୨ ହଜାର ୯୨୩ ଜଣ ଚିକିତ୍ସିତ ହେଉଛନ୍ତି। ସାପ୍ତାହିକ ପଜିଟିଭ୍‌ ହାର ୨.୫୭ ପ୍ରତିଶତ ରହିଛି। ସକ୍ରିୟ ମାମଲା ୧.୧୩ ପ୍ରତିଶତରେ ପହଞ୍ଚିଛି।

ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୪୩ ହଜାର ୯୨୮ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୩ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୭୬ କୋଟି ୫୭ ଲକ୍ଷ ୧୭ ହଜାର ୧୩୭ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୬୪ ଲକ୍ଷ ୫୧ ହଜାର ୪୨୩ ଜଣଙ୍କୁ ଟିକା ଦିଆଯାଇଛି।

ଅପରପକ୍ଷରେ ଇତିମଧ୍ୟରେ ୫୫ କୋଟିରୁ ଅଧିକ ଜଣ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟାରେ ୧୫ ଲକ୍ଷରୁ ଅଧିକ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି।

ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୨୫ ଲକ୍ଷ ୬୦ ହଜାର ୪୭୪ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ସେହିପରି ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୩୩ ଲକ୍ଷ ୪୭ ହଜାର ୩୨୫ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି।

Share