ଦୈନିକ ସଂକ୍ରମଣ ପୁଣି ବଢ଼ିଲା…

ନୂଆଦିଲ୍ଲୀ,୧୪।୭: ଦେଶରେ କରୋନା ମହାମାରୀ ସଂକ୍ରମଣରେ ଧୀରେଧୀରେ ସୁଧାର ଆସିଲେ ମଧ୍ୟ ସ୍ଥିତି ସଙ୍କଟ ଜନକ ରହିଛି। ଦ୍ୱିତୀୟ ଲହର ପ୍ରକୋପ ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଜୁଲାଇ ୧୨ରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୪୪୩ ଥିଲା। ତେବେ ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩୮ ହଜାର ୭୯୨ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୬୨୪ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୪୧ହଜାର ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ବଢ଼ିବାରେ ଲାଗିଛି। ଏହା ୯୭.୨୮ ପ୍ରତିଶତ ଛୁଇଁଛି। ଅପରପକ୍ଷରେ ୪ ଲକ୍ଷ ୨୯ ହଜାର ୯୪୬ ଜଣ ଚିକିତ୍ସିତ ହେଉଛନ୍ତି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୧୧ ହଜାର ୪୦୮ ଛୁଇଁଛି। ବର୍ତ୍ତମାନ ସୁଦ୍ଧା ୩୮ କୋଟି ୭୬ ଲକ୍ଷ ୯୭ ହଜାର ୯୩୫ଜଣ ଲୋକଙ୍କୁ ଟିକାଦାନ କରାଯାଇ ସାରିଛି। ଅପରପକ୍ଷରେ ଇତିମଧ୍ୟରେ ୪୩ କୋଟି ୫୯ ଲକ୍ଷ ୭୩ ହଜାର ୬୩୯ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୧ ଲକ୍ଷ ୪ ହଜାର ୭୨୦ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ଅପରପକ୍ଷରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୯ ଲକ୍ଷ ୪୬ ହଜାର ୭୪ରେ ପହଞ୍ଚିଛି।

Share