ଆସନ୍ତାକାଲି ୩ ଜିଲାରେ ଅତିପ୍ରବଳ ବର୍ଷା

ଭୁବନେଶ୍ୱର, ୫।୭(ବ୍ୟୁରୋ)- ସାରା ରାଜ୍ୟରେ ମୌସୁମୀବାୟୁ ସକ୍ରିୟ ରହିଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଆଖପାଖରେ ଏକ ଲଘୁଚାପ କେନ୍ଦ୍ର ସୃଷ୍ଟି ହୋଇଛି। ଏହା ପ୍ରଭାବରେ ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ। କିନ୍ତୁ ଆସନ୍ତା ଦୁଇଦିନ ପ୍ରବଳ ବର୍ଷା ହେବ। ବିଶେଷକରି ସୋମବାର ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ସୋମବାର ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଅଞ୍ଚଳ ଓ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ନୂଆପଡ଼ା, ବଲାଙ୍ଗୀର ଓ କଳାହାଣ୍ଡି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ଏବଂ ବରଗଡ଼, ନବରଙ୍ଗପୁର, ବୌଦ୍ଧ, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲାରେ ପ୍ରବଳ ବର୍ଷା ହେବ। ତେଣୁ ଏ ସବୁ ଜିଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି କରିଛି ପାଣିପାଗ କେନ୍ଦ୍ର। ସେହିପରି ମଙ୍ଗଳବାର ଉତ୍ତର ଓଡ଼ିଶା ଅଧିକାଂଶ ଅଞ୍ଚଳ ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବ। ତେବେ ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ହେବ ବୋଲି ସତର୍କ ସୂଚନା ଦେଇଛି ପାଣିପାଗ କେନ୍ଦ୍ର। ପ୍ରବଳ ବର୍ଷା ନେଇ ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।