Categories: ରାଜ୍ୟ

ଆସନ୍ତା ୩ ବର୍ଷରେ ସବୁ ବସ୍ତି ଆଦର୍ଶ କଲୋନୀରେ ପରିଣତ ହେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮ା୯(ବ୍ୟୁରୋ)-ଆସନ୍ତା ୩ ବର୍ଷ ମଧ୍ୟରେ ରାଜ୍ୟର ସବୁ ବସ୍ତି ଆଦର୍ଶ କଲୋନୀରେ ପରିଣତ ହେବ। ସୋମବାର ଭିଡିଓ କନଫରେନ୍ସରେ ଫକୀରମୋହନଙ୍କ ଭୂମି, ଓଡିଆ ଭାଷା ସୁରକ୍ଷା ଭୂମି ବାଲେଶ୍ୱରରୁ ବସ୍ତି ଉନ୍ନତୀକରଣ ଯୋଜନାର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସହରରେ ବିକାଶ ଠାରୁ ଆରମ୍ଭ କରି କୋଭିଡ ଲଢେଇ ପର୍ଯ୍ୟନ୍ତ ସବୁ କ୍ଷେତ୍ରରେ ବସ୍ତିର ଗରିବ ଲୋକମାନେ ଆଗରେ ରହି କାମ କରୁଛନ୍ତି। ତେଣୁ ବିକାଶ ଉପରେ ସେମାନଙ୍କର ସମାନ ଅଧିକାର ରହିଛି। ଏହି ଯୋଜନାରେ ରାଜ୍ୟର ବସ୍ତିରେ ବିଜୁଳି, ଭଲ ପିଇବା ପାଣି, ରାସ୍ତା, ଗୋଷ୍ଠୀ କେନ୍ଦ୍ର ଆଦି ନାଗରିକ ସୁବିଧାର ବିକାଶ କରି ବସ୍ତିର ଲୋକମାନଙ୍କ ଜୀବନଧାରଣ ମାନରେ ଉନ୍ନତି ଅଣାଯିବା ସହିତ ଜୀବିକା ପାଇଁ ମଧ୍ୟ ସୁଯୋଗ ସୃଷ୍ଟି କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତିି।
ଏହି ଅବସରରେ ଗୃହ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଜି.ମାଥିଭାଥନନ ସ୍ବାଗତ ଭାଷଣ ଦେଇଥିଲେ। ଜାଗାମିଶନ ନିର୍ଦ୍ଦେଶକ ସଂଗ୍ରାମଜିତ ନାୟକ ଧନ୍ୟବାଦ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର, ଅର୍ଥ ବିଭାଗ ପ୍ରମୁଖ ସଚିବ ଅଶୋକ କୁମାର ମୀନା ଏବଂ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ(୫-ଟି) ଭି.କେ.ପାଣ୍ଡିଆନ ପ୍ରମୁଖ ଉପସ୍ଥିତ ଥିଲେ।