ସୋମବାରଠୁ ଲାଗି ରହିବ ବର୍ଷା

ଭୁବନେଶ୍ବର,୬।୬: କାଳବୈଶାଖି ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ହେବ। ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ସୂଚନା ଦିଆଯାଇଛି।

ଜୁନ ୭ ତାରିଖ ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ ଯାଜପୁର ଆଦି ଜିଲାରେ ଘଡଘଡି ବିଜୁଳି ସହ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କତା ଜାରି କରାଯାଇଛି। ସେହିପରି ଜୁନ ୮ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ବାଲେଶ୍ବର ଆଦି ଜିଲାରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନ ରହିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରି ସତର୍କ କରିଦିଆଯାଇଛି।

ଅନ୍ୟପକ୍ଷେ ଟ୍ରପଲାଇନ ପ୍ରଭାବରେ କାଳବୈଶାଖି ବର୍ଷା ଜାରି ରହିଥିବା ବେଳେ ଆସନ୍ତା ୧୧ ତାରିଖରୁ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ୧୦ ତାରିଖରୁ ୧୪ ତାରିଖ ମଧ୍ୟରେ ରାଜ୍ୟର ଅଧିକାଂଶ ଜିଲଶରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏବେ ରାଜ୍ୟରେ ପ୍ରାକ ମୌସୁମୀ ସକ୍ରିୟ ଥିବା ବେଳେ ଆସନ୍ତା ୧୧ ତାରିଖରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।