ଆଜିଠୁ ୪ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୧ା୭(ବ୍ୟୁରୋ): ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ତତ୍‌ସଂଲଗ୍ନ ଅଞ୍ଚଳରେ ଥିବା ଲଘୁଚାପ କ୍ଷେତ୍ର ବର୍ତ୍ତମାନ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ରପ୍ରଦେଶର ଉପକୂଳବର୍ତ୍ତୀ ଅଞ୍ଚଳରେ ରହିଛି। ସାମୁଦ୍ରିକ ପ୍ରଚଳନ ସହିତ ଦକ୍ଷିଣ-ପଶ୍ଚିମ ଆଡ଼କୁ ତାହା ଗତି କରୁଛି। ଅନ୍ୟପକ୍ଷରେ ମୌସୁମୀ ଟ୍ରପ୍‌ ଲାଇନ୍‌ ବର୍ତ୍ତମାନ ଦକ୍ଷିଣ ଓଡ଼ିଶାର ଉପକୂଳବର୍ତ୍ତୀ ଅଞ୍ଚଳ ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ତା’ପରେ ଦକ୍ଷିଣ-ପୂର୍ବ ଦିଗରୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ପର୍ଯ୍ୟନ୍ତ ଝାରସୁଗୁଡ଼ା ଦେଇ ଗତି କରୁଛି। ଏହାର ପ୍ରଭାବରେ ଆଗାମୀ ୪ଦିନ ପର୍ଯ୍ୟନ୍ତ ସାରା ରାଜ୍ୟରେ ପ୍ରବଳ ବର୍ଷା ହେବ। ସୋମବାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ହେବାକୁ ଥିବାବେଳେ ୧୨ରୁ ୧୪ ତାରିଖ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ୧୩ ଓ ୧୪ ତାରିଖରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଓଡ଼ିଶା ଉପକୂଳଗୁଡ଼ିକର ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି। ସୋମବାର କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ସୁବର୍ଣ୍ଣପୁର, ସମ୍ବଲପୁର, ପୁରୀ, ଜଗତ୍‌ସିଂହପୁର, ଅନୁଗୋଳ ଓ କଟକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘୁଆ ରହିବା ସହ ଅପରାହ୍ନ କିମ୍ବା ବିଳମ୍ବିତ ସା ଆଡ଼କୁ କିଛି ସ୍ଥାନରେ ହାଲୁକା ବର୍ଷା, ବଜ୍ରପାତ ଏବଂ କଟକର କିଛି ସ୍ଥାନରେ ମଧ୍ୟମ ବର୍ଷା ସହ ବଜ୍ରପାତ ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି। ଆସନ୍ତା ୧୨ରୁ ୧୪ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ସେସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।