ଲଘୁଚାପ: ପ୍ରବଳ ବର୍ଷିବ

ଭୁବନେଶ୍ୱର,୬।୯: ଉତ୍ତର-ପୂର୍ବ ଏବଂ ତତ୍‌ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାଇକ୍ଲୋନିକ୍‌ ସର୍କୁଲେସନ୍‌ ସୋମବାର ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ଓଡ଼ିଶା ଆନ୍ଧ୍ରପ୍ରଦେଶ ଉପକୂଳ ଉପରେ ୭.୬ କିଲୋମିଟର ପର୍ଯ୍ୟନ୍ତ ବିସ୍ତାରିତ ହୋଇ ପଶ୍ଚିମ- ଦକ୍ଷିଣପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି।

ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରିଛି। ପାଣିପାଗ ବିଭାଗ ପକ୍ଷରୁ ଜାରି ସୂଚନାରେ ରାଜ୍ୟର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କଳାହାଣ୍ଡି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ନବରଙ୍ଗପୁର, କନ୍ଧମାଳ, ବଲାଙ୍ଗୀର, ନୂଆପଡ଼ା, ପୁରୀ, ଗଞ୍ଜାମ, ଖୋର୍ଦ୍ଧା, ମୟୂରଭଞ୍ଜ, ସୁନ୍ଦରଗଡ଼, ବରଗଡ଼, ଝାରସୁଗୁଡ଼ା, କେନ୍ଦୁଝର ଜିଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।

ଲଘୁଚାପ ପ୍ରଭାବରେ, ବଙ୍ଗୋପସାଗରର ଉତ୍ତର ଉପକୂଳରେ ଘଣ୍ଟାପ୍ରତି ୪୦-୫୦ କି.ମି ବେଗରେ ପବନ ବହିବା ସହ ସମୁଦ୍ର ଅଶାନ୍ତ ରହିବ। ଏନେଇ ମତ୍ସ୍ୟଜୀବୀଙ୍କୁ ଆସନ୍ତା ୪୮ ଘଣ୍ଟା ପାଇଁ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି।