୪୮ଘଣ୍ଟାରେ ଲଘୁଚାପ ସମ୍ଭାବନା

ଭୁବନେଶ୍ୱର, ୨୨ା୭(ବ୍ୟୁରୋ): ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଆସନ୍ତା ୪୮ଘଣ୍ଟା ମଧ୍ୟରେ ଏକ ଲଘୁଚାପ ସୃଷ୍ଟି ହେବ। ଏହା ପ୍ରଭାବରେ ରାଜ୍ୟରେ ୨୭ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ୨ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଗୁରୁବାର କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, ସମ୍ବଲପୁର, ଦେବଗଡ଼ରେ ପ୍ରବଳରୁ ଅତି ପ୍ରବଳ ଏବଂ ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୋଳ, କେନ୍ଦୁଝର, କୋରାପୁଟ, ମାଲକାନଗିରି, ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହେବ। ସେହିପରି ଶୁକ୍ରବାର ଅନୁଗୋଳ, ବୌଦ୍ଧ, ସମ୍ବଲପୁର, ବଲାଙ୍ଗୀର, ବରଗଡ଼, କଳାହାଣ୍ଡି, ସୋନପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବାବେଳେ କନ୍ଧମାଳ, ନୂଆପଡ଼ା, ଢେଙ୍କାନାଳ, କଟକ, ନୟାଗଡ଼, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତ୍‌ସିଂହପୁରରେ ପ୍ରବଳ ବର୍ଷା ହେବ। ଏଥିପାଇଁ ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସେପଟେ ବୁଧବାର ମାଲକାନଗିରିରେ ସର୍ବାଧିକ ୪୯ ମି.ମି. ବର୍ଷା ରେକର୍ଡ କରାଯାଇଛି। ସେହିପରି ଗୋପଳପୁରରେ ୪୬, ଫୁଲବାଣୀରେ ୩୭.୪, ଛତ୍ରପୁର ୨୭, ବାରିପଦା ୨୫, ବୌଦ୍ଧ, କେନ୍ଦୁଝର ୧୩, କଟକ ୧୦ ମିମି ବର୍ଷା ହୋଇଛି।