ଭୁବନେଶ୍ୱର,୧୧ା୧୧: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ହେବାକୁ ଯାଉଛି। ଦକ୍ଷିଣ ଆଣ୍ଡାମାନ ସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଉପରି ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ନଭେମ୍ବର ୧୩ ତାରିଖ ବେଳକୁ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।
ପାଣିପାଗ ବିଭାଗର ସୂଚନା ଅନୁସାରେ, ଲଘୁଚାପ ସୃଷ୍ଟି ହେବା ପରେ ଏହା ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ। ନଭେମ୍ବର ୧୪ ତାରିଖ ବେଳକୁ ଏହା ଅଧିକ ଘନୀଭୂତ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପର ରୂପ ନେଇପାରେ। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ନଭେମ୍ବର ୧୫ ତାରିଖ ବେଳକୁ ଏହି ଲଘୁଚାପ ଆହୁରି ଘନୀଭୂତ ହୋଇ ଅବପାତର ରୂପ ନେଇପାରେ। ତେବେ ଏହାର ପରବର୍ତ୍ତୀ ଗତିପଥ ଓ ତୀବ୍ରତା ଉପରେ ପାଣିପାଗ ବିଭାଗ ନଜର ରଖିଛି। ତେବେ ଏହାର ପ୍ରଭାବ ଓଡ଼ିଶାରେ କଣ ରହିବ ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିପାରି ନାହିଁ । ତେବେ ଏହା ପ୍ରଭାବରେ ରାଜ୍ୟର ଉପକୂଳ ଅଞ୍ଚଳରେ ଆକାଶ ମେଘୁଆ ରହିବା ସହ ବର୍ଷା ସମ୍ଭାବନା ରହିଛି। ଫଳରେ ତାପମାତ୍ରା କମିବା ସହ କୁହୁଡ଼ି ଓ ଶୀତ ବଢ଼ିବା ନେଇ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

