ଭୁବନେଶ୍ୱର, ୧୦ା୯(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଗୁରୁବାର ସକାଳ ୫ଟା ୩୦ରେ ଲଘୁଚାପର ରୂପ ନେଇଛି। ଏହା ଅପରାହ୍ନ ୨ଟା ୩୦ ସୁଦ୍ଧା ଉତ୍ତର ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ କେନ୍ଦ୍ରୀଭୂତ ରହିଛି। ଏହାସହ ସମ୍ପୃକ୍ତ ଘୂର୍ଣ୍ଣିବଳୟ ସମୁଦ୍ରପତ୍ତନଠାରୁ ୯.୪ କି.ମି ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି। ଫଳରେ ଗୁରୁବାର ଅଧିକାଂଶ ଜିଲାରେ ବର୍ଷା ହୋଇଥିବାବେଳେ କଟକ ଜିଲା ବାଙ୍କୀଠାରେ ସର୍ବାଧିକ ୧୦୪ ମି.ମି. ବର୍ଷ ରେକର୍ଡ ହୋଇଛି। ଶୁକ୍ରବାର ମଧ୍ୟ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ବିଶେଷକରି କଳାହାଣ୍ଡି, ନବରଙ୍ଗପୁର ଏବଂ କୋରାପୁଟ ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି।
ଏସବୁ ଜିଲାରେ ଘଡ଼ଘଡ଼ି ସହିତ ଝଡ଼ବର୍ଷା ହେବା ନେଇ ସତର୍କତା ଜାରି କରାଯାଇଛି। ସେହିପରି ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, ରାୟଗଡ଼ା, ମାଲକାନଗିରି, ଗଜପତି ଏବଂ ଗଞ୍ଜାମ ଜିଲାରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ଏହାବାଦ୍ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍ସିଂହପୁର, କଟକ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, ରାୟଗଡ଼ା, ମାଲକାନଗିରି, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ ଜିଲାରେ ଘଡ଼ଘଡ଼ି ସହିତ ଝଡ଼ବର୍ଷା ନେଇ ସତର୍କ କରାଯାଇଛି। ଶନିବାର ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ଏବଂ ଏହାପରେ ବର୍ଷା ପରିମାଣ କମିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

