ଭୁବନେଶ୍ୱର, ୧ା୯(ବନ୍ଦନା ସେଠୀ) – ସାରା ରାଜ୍ୟରେ ଲଘୁଚାପ ବର୍ଷା ଲାଗି ରହିଛି। ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲାରେ ଅଧିକ ବର୍ଷା ହୋଇଛି। ଲଘୁଚାପଟି ମଙ୍ଗଳବାର ସକାଳ ୮ଟା ୩୦ ସୁଦ୍ଧା ଗାଙ୍ଗେୟ ପଶ୍ଚିମବଙ୍ଗ, ଉତ୍ତର ଉପକୂଳ ଓଡ଼ିଶା, ଝାଡ଼ଖଣ୍ଡ ଏବଂ ଉତ୍ତର ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ଅଞ୍ଚଳରେ ସକ୍ରିୟ ରହିଥିଲା। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଉତ୍ତର ଓଡ଼ିଶା ଓ ଝାଡ଼ଖଣ୍ଡର ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି। ଫଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ବୁଧବାର ପ୍ରବଳ ବର୍ଷା ନେଇ ସୁନ୍ଦରଗଡ଼, ଝାରସୁଗୁଡା ଏବଂ ବରଗଡ଼ ଜିଲାକୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ଏଥିସହିତ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍ସିଂହପୁର, କଟକ, କେନ୍ଦୁଝର, ମୟୂରଭଞ୍ଜ, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାକୁ ଘଡ଼ଘଡ଼ି ସହିତ ଝଡ଼ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି। ପାଣିପାଗ ସ୍ଥିତିକୁ ନେଇ ଧାମରା, ଚାନ୍ଦବାଲି ଓ ପାରାଦୀପ ବନ୍ଦରରେ ସ୍ଥାନୀୟ ସତର୍କ ସଙ୍କେତ ନମ୍ବର-୨ (ଏଲ୍ସି-୨) ଏବଂ ପୁରୀ, ଗୋପାଳପୁର ଓ ଛତ୍ରପୁର ବନ୍ଦରରେ ନିମ୍ନ ସ୍ଥାନୀୟ ସତର୍କ ସଙ୍କେତ ନମ୍ବର-୨ (ଏଲ୍ସି-୨) ଜାରି କରାଯାଇଛି। ତେବେ ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷାର ପ୍ରଭାବ ରହିବ ବୋଲି ସୂଚନା ଦିଆଯାଇଛି।