ପାତ୍ରପୁର,୧୮।୧୧(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡ଼ା ଥାନା ଅନ୍ତର୍ଗତ ପାତ୍ରପୁର ଅଞ୍ଚଳରୁ ଜଣେ ବ୍ୟକ୍ତିଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହେବା ଘଟଣା ସ୍ଥାନୀୟ ଅଞ୍ଚଳରେ ତୀବ୍ର ଚାଞ୍ଚଲ୍ୟ ସୃଷ୍ଟି କରିଛି। ବୁଧବାର ପାତ୍ରପୁର ଗ୍ରାମ ବାଇପାସ୍ ରୋଡସ୍ଥିତ ଏକ ଇଭି ବାଇକ୍ ସେଣ୍ଟର ନିକଟରୁ ପୋଲିସ ମୃତଦେହଟିକୁ ଜବତ କରିଛି। ମୃତକ ଜଣକ ସ୍ଥାନୀୟ ଅଞ୍ଚଳର ମୀନ ବେହେରାଙ୍କ ପୁଅ କୃଷ୍ଣ ବେହେରା (୪୫) ବୋଲି ଚିହ୍ନଟ କରାଯାଇଛି।
ମିଳିଥିବା ସୂଚନା ଅନୁଯାୟୀ, କୃଷ୍ଣଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିବା ବେଳେ ଶରୀରର ଅନ୍ୟାନ୍ୟ ସ୍ଥାନରେ ମଧ୍ୟ ଏକାଧିକ କ୍ଷତଚିହ୍ନ ରହିଛି। ଏଭଳି ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିବା ପରେ ଏହା ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ପରିବାର ଲୋକେ ଅଭିଯୋଗ ଆଣିଛନ୍ତି।
ଖବର ପାଇ ଚିକିଟି ଏସଡିପିଓ ବିଶ୍ୱାମିତ୍ର ହରପାଲ ଏବଂ ଜରଡ଼ା ଥାନା ଆଇଆଇସି ମୀନାକ୍ଷୀ ଦଳବେହେରା ସଦଳବଳେ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିବା ସହ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି। ପୋଲିସ ପକ୍ଷରୁ ଘଟଣାର ତଦନ୍ତ ଜାରି ରହିଥିବା ବେଳେ ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ ମୃତ୍ୟୁର ପ୍ରକୃତ କାରଣ ସ୍ପଷ୍ଟ ହେବ ବୋଲି ପୋଲିସ ଅଧିକାରୀମାନେ ସୂଚନା ଦେଇଛନ୍ତି। ଅନ୍ୟପଟେ ମୃତ କୃଷ୍ଣଙ୍କର ଦୁଇଟି ଝିଅ ଓ ଗୋଟିଏ ପୁଅ ଥିବା ଜଣାପଡ଼ିଛି।
ସୂଚନାଯୋଗ୍ୟ ଯେ, କୌଣସି ଏକ ପୂର୍ବ ମାମଲାରେ କୃଷ୍ଣ ପୂର୍ବରୁ ଜେଲ୍ ଯାଇ ଫେରିଥିଲେ। ତେବେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ତାଙ୍କୁ ହତ୍ୟା କରାଯାଇଛି ନା ଏହା ପଛରେ ଅନ୍ୟ କିଛି କାରଣ ରହିଛି, ସେନେଇ ପୋଲିସ ବିଭିନ୍ନ ଦିଗରୁ ତଦନ୍ତ ଚଳାଇଛି।

