ଜନଜାତି ସଂସ୍କୃତିର ସଂରକ୍ଷଣ ପାଇଁ ଅନେକ ପଦକ୍ଷେପ ନିଆଯିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୨(ଅସମାପିକା ସାହୁ): ସମଗ୍ର ରାଜ୍ୟରେ ଆଦିବାସୀ ସମ୍ପ୍ରଦାୟର ସାମଗ୍ରିକ ବିକାଶରେ ଜନସାଧାରଣଙ୍କ ଅଂଶଗ୍ରହଣକୁ ପାଳନ କରି, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ବିଭାଗ ପକ୍ଷରୁ ଶନିବାର ସ୍ବତନ୍ତ୍ର ଉନ୍ନୟନ ପରିଷଦର ହିତାଧିକାରୀଙ୍କ ଏକ ମହାସମାବେଶ ଅନୁଷ୍ଠିତ ହୋଇଯାଇଛି।

ଆଦିବାସୀ ସଂସ୍କୃତିର ସଂରକ୍ଷଣ ତଥା ସେମାନଙ୍କ ପରିଚୟ ବଜାୟ ରଖିବା ପାଇଁ ଏସ୍‌ଡିସିର ସଫଳତା ଏବଂ ସେମାନଙ୍କର ଅନନ୍ୟ ହସ୍ତକ୍ଷେପକୁ ପାଳନ କରିବା ଲାଗି ସ୍ଥାନୀୟ ଆଦିବାସୀ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ୧,୭୫୦ ହିତାଧିକାରୀଙ୍କ ସମେତ ୨୩ଟି ଏସ୍‌ଡିସିର ପ୍ରାୟ ୨,୦୦୦ ସଦସ୍ୟ ଅଂଶଗ୍ରହଣ କରିଥିଲେ।

ଏହି ମହାସମାବେଶକୁ ଉଦଘାଟନ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ଏସ୍‌ଡିସି ଜରିଆରେ ଓଡ଼ିଶା ଏହି ନିଆରା ପଦକ୍ଷେପ ଗ୍ରହଣ କରିବା ସହ ଆଦିବାସୀ ସମ୍ପ୍ରଦାୟର ନୃତ୍ୟ, ସଙ୍ଗୀତ ଓ ପରିବେଶକୁ ସଂରକ୍ଷଣ କରିବାର ଗୌରବ ଅର୍ଜନ କରିଛି।
୧୩ଟି ଆଦିମ ଜନଜାତି ବା ପିଭିଟିଜି ସମେତ ୬୨ଟି ଆଦିବାସୀ ସମ୍ପ୍ରଦାୟର ସାମାଜିକ-ସାଂସ୍କୃତିକ ଆବଶ୍ୟକତାକୁ ପୂରଣ କରିବାରେ ଆମେ ଏସଡିସିମାନଙ୍କୁ ପୂର୍ଣ୍ଣ ସ୍ବାଧୀନତା ଦେଇଛୁ।
ଓଡ଼ିଶାର ସାମଗ୍ରିକ ସଂସ୍କୃତିକୁ ଜନଜାତି କଳା ଓ ସଂସ୍କୃତି ସମୃଦ୍ଧ କରିଛି। ଏହାର ସଂରକ୍ଷଣ ଓ ପ୍ରସାର ପାଇଁ ରାଜ୍ୟ ସରକାର ଆହୁରି ଅନେକ ପଦକ୍ଷେପ ନେବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।