ମୌସୁମୀ ସକ୍ରିୟ: ୧୬ ଯାଏ ବର୍ଷା

ଭୁବନେଶ୍ୱର,୧୩।୭(ବ୍ୟୁରୋ): ଓଡ଼ିଶା ଉପକୂଳ ଓ ଏହାର ଆଖପାଖରେ ସୃଷ୍ଟି ହୋଇଥିବା ଲଘୁଚାପ ମଙ୍ଗଳବାର ଓ୍ବେଲମାର୍କ ଲୋପ୍ରେସରରେ ପରିଣତ ହୋଇଛି। ଏଥିସହିତ ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଯାଜପୁର, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି।
ଘୂର୍ଣ୍ଣିବଳୟ ଯୋଗୁ ୧୫ ଓ ୧୬ ତାରିଖ ଦୁଇଦିନ ଧରି ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି। ଆସନ୍ତା ୧୫ ତାରିଖରେ ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ମାଲକାନଗିରି, କୋରାପୁଟ, କଳାହାଣ୍ଡି, ନବରଙ୍ଗପୁର, କନ୍ଧମାଳ, ଗଜପତି, ରାୟଗଡ଼ା ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ। ଏହି ସବୁ ଜିଲା ପାଇଁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ଭଦ୍ରକ, ଯାଜପୁର, କେନ୍ଦୁଝର, ସୁନ୍ଦରଗଡ଼ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ୧୬ ତାରିଖରେ ଅନୁଗୋଳ, ଢେଙ୍କାନାଳ, ଯାଜପୁର, କେନ୍ଦୁଝର, ଭଦ୍ରକ, ମୟୂରଭଞ୍ଜ, ବାଲେଶ୍ୱର, କଟକ, ସୋନପୁର, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି ଜିଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି।