ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ, ୧୮।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୨ ହଜାର ୧୮୩ ରେ ପହଞ୍ଚିଛି। ଫଳରେ ଦୈନିକ ସଂକ୍ରମଣରେ ୯୦ ପ୍ରତିଶତ ବୃଦ୍ଧି ଘଟିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୨୧୪ ରହିଛି। ଅପରପକ୍ଷରେ ସକ୍ରିୟ ମାମଲା କମିବାରେ ଲାଗିଛି। ଏହି ସମୟରେ ସକ୍ରିୟ ମାମଲା ୧୨ ହଜାର ତଳେ ରହିଛି। ଏହା ୧୧ ହଜାର ୫୪୨ ରହିଛି।

ସେହିପରି ୨୪ ଘଣ୍ଟାରେ ୧ ହଜାର ୯୮୫ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୧ ହଜାର ୯୬୫ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୦ ଲକ୍ଷ ୪୪ ହଜାର ୨୮୦ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୫ ଲକ୍ଷ ୧୦ ହଜାର ୭୭୩ ଜଣ ସୁସ୍ଥ ହୋଇ ସାରିଛନ୍ତି।

ଗତ ୨୪ ଘଣ୍ଟାରେ କେରଳରେ ସର୍ବାଧିକ ୯୪୦ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଦିଲ୍ଲୀରେ ୫୧୭ ଜଣ, ହରିୟାଣାରେ ୧୯୧ ଜଣ, ଉତ୍ତରପ୍ରଦେଶରେ ୧୩୫ ଜଣ ଏବଂ ମହାରାଷ୍ଟ୍ରରେ ୧୨୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସୂଚନାଯୋଗ୍ୟ, ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୮୬ କୋଟି ୫୦ ଲକ୍ଷରୁ ଅଧିକ ଟପିଛି। ସେଥିମଧ୍ୟରେ ୯୧ କୋଟି ୪୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୮୦ କୋଟି ୪୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି।

Share