ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ,୧।୭: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ବୁଧବାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୪୫ ହଜାର ୯୫୧ ଥିବାବେଳେ ୮୧୭ ଜଣଙ୍କ ମୃତ୍ୟୁ ଘଟିଥିଲା। ତେବେ ଗୁରୁବାର ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ପୁଣି ବଢ଼ିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢ଼ି ୪୮ ହଜାର ୭୮୬ ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ହଜାରେ ୫ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୬୧ ହଜାର ୫୮୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୬. ୯୨ ପ୍ରତିଶତ ରହିଛି। ଅପରପକ୍ଷରେ ୫ ଲକ୍ଷ ୨୩ ହଜାର ୨୫୭ ଜଣ ଚିକିତ୍ସିତ ହେଉଛନ୍ତି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୩ ଲକ୍ଷ ୯୯ ହଜାର ୪୫୯ ଛୁଇଁଛି। ବର୍ତ୍ତମାନ ସୁଦ୍ଧା ୩୩ କୋଟି ୫୭ ଲକ୍ଷ ୧୬ ହଜାର ୧୯ ଲୋକଙ୍କୁ ଟିକାଦାନ କରାଯାଇ ସାରିଛି। ଅପରପକ୍ଷରେ ଇତିମଧ୍ୟରେ ୪୧ କୋଟିରୁ ଅଧିକ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି।

Share