ଓମିକ୍ରନ୍‌ ଆତଙ୍କ ସହିତ ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ,୨।୧୨: ଓମିକ୍ରନ୍‌ ଆତଙ୍କ ସହିତ ଦେଶରେ କରୋନା ମହାମାରୀର ଦୈନିକ ସଂକ୍ରମଣ ମୃତ୍ୟୁ ସଂଖ୍ୟା ପୁଣି ବଢ଼ିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୯ ହଜାର ୭୬୫ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୪୭୭ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସେହିପରି ୮ ହଜାର ୫୪୮ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୮.୩୬ ପ୍ରତିଶତ ରହିଛି। ଅପରପକ୍ଷରେ ସକ୍ରିୟ ମାମଲା ୯୯ ହଜାର ୭୬୩ ରହିଛି। ୫୪୪ ଦିନ ପରେ ଏହା ସର୍ବନିମ୍ନ ରହିଛି। ସାପ୍ତାହିକ ପଜିଟିଭ୍‌ ହାର ୦.୯୪ ପ୍ରତିଶତରୁ କମ୍‌ ରହିଛି। ଦୈନିକ ପଜିଟିଭିଟି ହାର ୦.୯୮ ପ୍ରତିଶତ ରହିଛି। ସକ୍ରିୟ ମାମଲା ୦.୨୯ ପ୍ରତିଶତରେ ପହଞ୍ଚିଛି।

ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୬୯ ହଜାର ୭୨୪ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୬ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୧୨୪ କୋଟି ୯୬ ଲକ୍ଷ ୧୯ ହଜାର ୫୧୫ ଜଣଙ୍କୁ ଟିକାଦାନ ସରିଛି।

ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୪୦ ଲକ୍ଷ ୩୭ ହଜାର ୫୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୪୬ ଲକ୍ଷ ୬ ହଜାର ୫୪୧ରେ ପହଞ୍ଚିଛି।

Share