ଭୁବନେଶ୍ବର,୧୪।୪; ଆଜି ହେଉଛି ପବିତ୍ର ପଣା ସଂକ୍ରାନ୍ତି । ପଣା ସଂକ୍ରାନ୍ତି ବା ମହାବିଷୁବ ସଂକ୍ରାନ୍ତି କୁ ଓଡ଼ିଆ ନବବର୍ଷ ଭାବରେ ପାଳନ କରାଯାଏ । ଆଜିର ପବିତ୍ର ଦିନକୁ ନେଇ ପ୍ରତି ଓଡ଼ିଆ ଘର ଚଳଚଞ୍ଚଳ ହୋଇପଡ଼ିଛି। ଓଡ଼ିଆ ପରମ୍ପରାନୁଯାୟୀ ଏହି ଦିନଠାରୁ ନୂତନ ବର୍ଷ ଆରମ୍ଭ ହୋଇଥାଏ। ଏହି ଦିନଠାରୁ ବସନ୍ତ ଋତୁର ଶେଷ ଓ ଗ୍ରୀଷ୍ମର ଆରମ୍ଭ ହୋଇଥାଏ । ଜ୍ୟୋତିଷ ଗଣନା ଅନୁଯାୟୀ ଏହି ଦିନକୁ ମେଷ ସଂକ୍ରାନ୍ତି ବୋଲି କୁହାଯାଏ।
ଏହିଦିନଠାରୁ ୧ ମାସ ପର୍ଯ୍ୟନ୍ତ ସୂର୍ଯ୍ୟଦେବ ମେଷ ରାଶିରେ ଅବସ୍ଥାନ କରିଥାନ୍ତି। ଦୋଳପୂର୍ଣ୍ଣିମାରେ ଦୋଳଗୋବିନ୍ଦଙ୍କ ନିକଟରେ ସମର୍ପଣ ହୋଇଥିବା ପାଞ୍ଜି ପଣାସଂକ୍ରାନ୍ତିରୁ ପ୍ରଚଳନ ହୋଇଥାଏ। ଓଡ଼ିଆ ପଞ୍ଜିକାର ଗଣନା ଅନୁସାରେ ମହାବିଷୁବ ସଂକ୍ରାନ୍ତି ହିଁ ବର୍ଷର ପ୍ରଥମ ସଂକ୍ରାନ୍ତି ଭାବରେ ଗ୍ରହଣ କରାଯାଏ । ମହାବିଷୁବ ସଂକ୍ରାନ୍ତି ଦିନରେ ବିଭିନ୍ନ ଦେବଦେବୀ ମନ୍ଦିରମାନଙ୍କରେ ପଣା ଭୋଗର ବିଧି ରହିଛି । ସୂର୍ଯ୍ୟଙ୍କ ପ୍ରବଳ ତାପମାତ୍ରା ଯୋଗୁ ପ୍ରଭୁ ବିଷ୍ଣୁଙ୍କ ପ୍ରିୟ ତୁଳସୀ ମୂଳରେ ପଣା ଅର୍ପଣ କରାଯାଇଥାଏ। ଘରେ ଏଥିପାଇଁ ଛତୁଆ, କଦଳୀ, ନଡ଼ିଆ, ଛେନା, ଆମ୍ବ ଆଦିରେ ସ୍ବତନ୍ତ୍ର ପଣା ପ୍ରସ୍ତୁତ କରାଯାଇଥାଏ। ଏହି ସଂକ୍ରାନ୍ତି ପରଠାରୁ ବୃକ୍ଷଜଗତ ଏବଂ ଜୀବଜଗତକୁ ଜଳ ପ୍ରଦାନ କରାଯାଉଥିବାରୁ ଏହି ସଂକ୍ରାନ୍ତିର ଅନ୍ୟ ନାମ ଜଳସଂକ୍ରାନ୍ତି ବୋଲି କହିଥାନ୍ତି । ଉଭୟ ଅଗ୍ନି ଓ ବାୟୁଙ୍କ ପ୍ରକୋପରୁ ରକ୍ଷାପାଇବା ପାଇଁ ଏହି ସମୟରେ ହନୁମାନ ଜୟନ୍ତି ପାଳନ କରାଯାଏ । ଆଜି ପବିତ୍ର ଝାମୁ ବ୍ରତର ଉଦ୍ଯାପନ କରାଯାଏ ।