ସ୍ବାଧୀନତା ସଂଗ୍ରାମରେ ପାଇକଙ୍କ ବୀରତ୍ୱ ଅତୁଳନୀୟ: ଉପମୁଖ୍ୟମନ୍ତ୍ରୀ

ଖୋର୍ଦ୍ଧା,୨୬।୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ପ୍ରଶାସନ ଆନୁକୂଲ୍ୟରେ ଜିଲାସ୍ତରୀୟ ୭୭ତମ ସାଧାରଣତନ୍ତ୍ର ଦିବସ ସମାରୋହ ସ୍ଥାନୀୟ ବିଜେବି ଉଚ୍ଚ ବିଦ୍ୟାଳୟ ଖେଳ ପଡ଼ିଆରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମୁଖ୍ୟଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରି ସମ୍ମିଳିତ ପରେଡରେ
ଅଭିବାଦନ ଗ୍ରହଣ କରିଥିଲେ।

ଏହି ଅବସରରେ ଉପ ମୁଖ୍ୟମନ୍ତ୍ରୀ ପରିଡ଼ା କହିଥିଲେ, ସ୍ବାଧୀନତା ସଂଗ୍ରାମରେ ପାଇକଙ୍କ ବୀରତ୍ୱ ଶୌର୍ଯ୍ୟ ଅତୁଳନୀୟ। ଏପରିକି ରାଜ୍ୟ ସରକାରଙ୍କ ଲୋକାଭିମୁଖୀ ଯୋଜନା ସମ୍ପର୍କରେ ଆଲୋକପାତ କରିଥିଲେ। ସୁଭଦ୍ରା ଯୋଜନା ମହିଳାଙ୍କୁ ସଶକ୍ତିକରଣ କରିବ ବୋଲି ସେ କହିଥିଲେ।

ଅନ୍ୟପକ୍ଷେ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଶେଷରେ ବିଭିନ୍ନ ପ୍ରତିଯୋଗୀତାରେ କୃତିତ୍ୱ ହାସଲ କରିଥିବା ଛାତ୍ରୀଛାତ୍ରଙ୍କୁ ମୁଖ୍ୟ ଅତିଥି ପୁରସ୍କୃତ କରିଥିଲେ। ପରେ ମେଡିକାଲରେ ରୋଗୀଙ୍କୁ ଫଳ ବଣ୍ଟନ କରିଥିଲେ। କାର୍ଯ୍ୟକ୍ରମରେ ବିଧାୟକ ପ୍ରଶାନ୍ତ ଜଗଦେବ, ଜିଲାପାଳ ଅମ୍ରିତ ଋତୁରାଜ, ଏସ୍‌ପି ବିବେକାନନ୍ଦ ଶର୍ମା ପ୍ରମୁଖ ଉପସ୍ଥିତ ରହିଥିଲେ।