ରାଇରଙ୍ଗପୁର ସଭାରେ ଯୋଗଦେବେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର,୨ା୬(ସୁନିତ୍‌ ମିଶ୍ର): ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି ଅବସରରେ ଆସନ୍ତା ୨୦ତାରିଖରେ ମୟୂରଭଞ୍ଜ ଜିଲା ରାଇରଙ୍ଗପୁରଠାରେ ଆୟୋଜିତ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେବା ନେଇ ସ୍ବୀକୃତି ଦେଇଛନ୍ତି। କାର୍ଯ୍ୟକ୍ରମର ସଫଳ ରୂପାୟନ ଲାଗି ମଙ୍ଗଳବାର ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା।

ବୈଠକରେ ମୁଖ୍ୟମନ୍ତ୍ରୀ ସୁରକ୍ଷା ବ୍ୟବସ୍ଥା, ସଭାରେ ଯୋଗଦେଉଥିବା ସାଧାରଣ ଲୋକଙ୍କ ପାଇଁ ସୁବିଧା, ପାର୍କିଂ ବ୍ୟବସ୍ଥା ପାଇଁ ଉପସ୍ଥିତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀ କାର୍ଯ୍ୟକ୍ରମରେ ଯୋଗ ଦେଉଥିବାରୁ କାର୍ଯ୍ୟକ୍ରମକୁ କିପରି ସୁଚାରୁ ରୂପେ କରାଯିବ ସେନେଇ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ପ୍ରକାଶ କରି ସ୍ବତନ୍ତ୍ର ଦୃଷ୍ଟି ଦେବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଏହି ଅବସରରେ ଓଡିଶା ପାଇଁ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କରାଯିବାର କାର୍ଯ୍ୟକ୍ରମ ରହିଛି। ବୈଠକରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଉନ୍ନୟନ କମିଶନର ଡି.କେ. ସିଂହ, ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶାଶ୍ୱତ ମିଶ୍ର ପ୍ରମୁଖ ଯୋଗଦେଇଥିଲେ।

Share