ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଭିତ୍ତିଭୂମି ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ମୋଦି

କୋରାପୁଟ,୨୦।୨(ଅମିତାଭ ବେହେରା) ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ୧୨୯ କୋଟି ଟଙ୍କାର ପ୍ରଶାସନିକ ଭବନ ସମେତ ବିଭିନ୍ନ ଭିତ୍ତିଭୂମି ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି । ସୁନାବେଡ଼ାସ୍ଥିତ କ୍ୟାମ୍ପସରେ ଆୟୋଜିତ ଏହି ଅନଲାଇନ କାର୍ଯ୍ୟକ୍ରମରେ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଚକ୍ରଧର ତ୍ରିପାଠୀ, କଳାହାଣ୍ଡି ଲୋକସଭା ନିର୍ବାଚନ ମଣ୍ଡଳୀର ମାନ୍ୟବର ସାଂସଦ ଶ୍ରୀ ବସନ୍ତ କୁମାର ପଣ୍ଡାଙ୍କ ସମେତ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିମାନେ ଉପସ୍ଥିତ ଥିଲେ। ପ୍ରଧାନମନ୍ତ୍ରୀ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା କେନ୍ଦ୍ରୀୟ ଅନୁଦାନପ୍ରାପ୍ତ ଉଚ୍ଚ ଶିକ୍ଷାନୁଷ୍ଠାନରେ ବିଭିନ୍ନ ଭିତ୍ତିଭୂମି ପ୍ରକଳ୍ପର ଉଦ୍‌ଘାଟନ ଏବଂ ଶିଳାନ୍ୟାସ କରିଥିଲେ ।

ଜମ୍ମୁରେ ସେ ଉପସ୍ଥିତ ଥିବାବେଳେ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ସମେତ ସମଗ୍ର ଭାରତ ଏହି କାର୍ଯ୍ୟକ୍ରମକୁ ଭର୍ଚୁଆଲ ମୋଡ୍‌ରେ ଦେଖିଥିଲେ । ଏହି ଅବସରରେ ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ଏକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ତ୍ରିପାଠୀ, ସାଂସଦ ବସନ୍ତ କୁମାର ପଣ୍ଡା ଓ ବିଶ୍ୱବିଦ୍ୟାଳୟ ଭାରପ୍ରାପ୍ତ କୁଳସଚିବ ପ୍ରଫେସର ନରସିଂହ ଚରଣ ପଣ୍ଡା ମଞ୍ଚାସୀନ ଥିଲେ।