ଭୁବନେଶ୍ୱର, ୧୭ା୧୧(ସୌମ୍ୟରଞ୍ଜନ ରାଉତ):ବଙ୍ଗୋପସାଗରରେ ଘନୀଭୂତ ହେଉଛି ଗଭୀର ଅବପାତ। ଆଗାମୀ କିଛି ଘଣ୍ଟା ମଧ୍ୟରେ ଏହା ବାତ୍ୟାର ରୂପ ନେବା ସହ ୧୭ ତାରିଖ ସା ସୁଦ୍ଧା ଭୀଷଣ ବାତ୍ୟାରେ ପରିଣତ ହେବାର ଆଶଙ୍କା ରହିଛି। ପରବର୍ତ୍ତୀ ସମୟରେ ଏହା ଅଧିକ ଘନୀଭୂତ ହୋଇ ୨୦ ତାରିଖ ମଧ୍ୟାହ୍ନ ସୁଦ୍ଧା ଆନ୍ଧ୍ରପ୍ରଦେଶ ଓ ୟାନାମ୍ ଉପକୂଳରେ ନେଲୋର ଓ ଟୁନି ମଧ୍ୟରେ ଅତି ଭୀଷଣ ବାତ୍ୟା ଭାବେ ସ୍ଥଳଭାଗ ଅତିକ୍ରମ କରିପାରେ। ସ୍ଥଳଭାଗ ଛୁଇଁବା ସମୟରେ ପବନର ବେଗ ଘଣ୍ଟାପ୍ରତି ୧୨୦ରୁ ୧୩୦ କିମି ଏବଂ ଝଟକା ପବନର ବେଗ ୧୪୫ କିମି ରହିବା ସମ୍ଭାବନା ରହିଛି। ସେହିପରି ଦକ୍ଷିଣ-ପୂର୍ବ ଓ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ରହିଥିବା ଏହି ଗଭୀର ଅବପାତ ଘଣ୍ଟାପ୍ରତି ୬ କିମି ବେଗରେ ଉତ୍ତର-ଉତ୍ତର ପଶ୍ଚିମ ଦିଗକୁ ଗତି କରୁଛି। ଏହା ତାମିଲନାଡୁଠାରୁ ୭ଶହ କିମି, ବିଶାଖାପାଟଣାଠାରୁ ୮ଶହ କିମି ଏବଂ ଗୋପାଳପୁରଠାରୁ ୯୧୦ କିମି ଦୂରରେ ରହିଛି।
ସମ୍ଭାବ୍ୟ ବାତ୍ୟା ‘ଅକ୍ୱାନ’ ପ୍ରଭାବରେ ଓଡ଼ିଶାରେ ୧୮ତାରିଖରୁ ବର୍ଷା ବଢ଼ିବ। ମଙ୍ଗଳବାର ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ୧୮ତାରିଖରେ ପୁରୀ, ଗଞ୍ଜାମ ଓ ଗଜପତି ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏଥିସହ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍ସିଂହପୁର, କଟକ, ଖୋର୍ଦ୍ଧା, ନୟାଗଡ଼, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ସମେତ ୧୬ଟି ଜିଲାରେ ବର୍ଷା, ବଜ୍ରପାତ ସହ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ଝଟକା ପବନ ବହିବା ଆଶଙ୍କା ରହିଛି। ୧୯ ତାରିଖରେ ବର୍ଷାର ପ୍ରକୋପ ଆହୁରି ବଢ଼ିବ। ପୁରୀ, ଗଞ୍ଜାମ ଓ ଗଜପତି ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କାରେ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଏହାବ୍ୟତୀତ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୋଳ, ନୟାଗଡ଼, ବୌଦ୍ଧ, ଖୋର୍ଦ୍ଧା, କଟକ, ଜଗତ୍ସିଂହପୁର, ରାୟଗଡ଼ା, କନ୍ଧମାଳ, କୋରାପୁଟ ଓ ମାଲକାନଗିରି ଜିଲାରେ ପ୍ରବଳ ବର୍ଷା ସହ ବଜ୍ରପାତ ଏବଂ ଘଣ୍ଟାପ୍ରତି ୫୦ରୁ ୬୦ କିମି ବେଗରେ ଝଟକା ପବନ ବହିପାରେ। ଅନ୍ୟ ଜିଲାଗୁଡ଼ିକରେ ମଧ୍ୟମ ଧରଣର ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ୨୦ ତାରିଖରେ ବାତ୍ୟା ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବା ସମୟରେ ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିବ। ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କାରେ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ଏଥିସହ ମୟୂରଭଞ୍ଜ, ପୁରୀ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁରରେ ମଧ୍ୟ ପ୍ରବଳ ବର୍ଷା, ବଜ୍ରପାତ ଏବଂ ଘଣ୍ଟାପ୍ରତି ୫୦ରୁ ୬୦ କିମି ବେଗରେ ଝଟକା ପବନ ବହିବା ସମ୍ଭାବନା ରହିଛି। ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ନଭେମ୍ବର ୧୮ରୁ ୨୦ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଉପକୂଳର ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନ ଯିବା ପାଇଁ ପାଣିପାଗ ବିଭାଗ ପରାମର୍ଶ ଦେଇଛି। ଏହି ସମୟରେ ସମୁଦ୍ର ଅଶାନ୍ତରୁ ଅତ୍ୟଧିକ ଅଶାନ୍ତ ରହିବା ସହ ପବନର ବେଗ ଘଣ୍ଟାପ୍ରତି ୫୦ରୁ ୬୦ କିମି ଏବଂ ଝଟକା ପବନର ବେଗ ୭୦ କିମି ପର୍ଯ୍ୟନ୍ତ ରହିପାରେ। ବାତ୍ୟାର ସମ୍ଭାବ୍ୟ ଗତିପଥ ଓ ପ୍ରଭାବକୁ ନେଇ ପାଣିପାଗ ବିଭାଗ ପକ୍ଷରୁ ନିୟମିତ ନଜର ରଖାଯାଇଛି ବୋଲି ସୂଚନା ଦିଆଯାଇଛି।

