ସୁବର୍ଣ୍ଣରେଖା, ଦେଓ ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨।୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ମୟୁରଭଞ୍ଜ ଗସ୍ତ କରି ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପ ଏବଂ ଦେଓ ଜଳସେଚନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏହା ପରେ ରାସଗୋବିନ୍ଦପୁରସ୍ଥିତ ଟିକପଦାଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଜନଜାତି ଭଉଣୀଭାଇମାନଙ୍କ ପାଇଁ ରାଜ୍ୟ ସରକାରଙ୍କ କାର୍ଯ୍ୟକ୍ରମ ଆଜି ସୁଫଳ ଦେବା ଆରମ୍ଭ କରିଛି । ଶିକ୍ଷା ଓ ରୋଜଗାର ଜରିଆରେ ସେମାନଙ୍କୁ ସଶକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ କାର୍ଯ୍ୟକ୍ରମ ବହୁତ ଆଗକୁ ଯାଇପାରିଛି। ଜନଜାତି ପିଲାମାନେ ସେମାନଙ୍କ ଦକ୍ଷତା ବଳରେ ଦେଶ ବିଦେଶରେ ସୁନାମ କରିପାରୁଛନ୍ତି ବୋଲି ସେ କହିଥିଲେ। ଏହାସହିତ ଜିଲାର ଅନେକ ବିକାଶମୂଳକ କାର୍ଯ୍ୟ ପାଇଁ ଭିତ୍ତିପ୍ରସ୍ତର କରିଥିବା ଜଣାପଡିଛି।

ତେବେ ଲୋକାର୍ପିତ ହୋଇଥିବା ଦୁଇଟି ପ୍ରକଳ୍ପ ମଧ୍ୟରୁ ସୁବର୍ଣ୍ଣରେଖା ପ୍ରକଳ୍ପ ଦ୍ବାରା ମୟୁରଭଞ୍ଜ ଓ ବାଲେଶ୍ବର ଜିଲାର ୧୭,୧୨୧ ହେକ୍ଟର ଅତିରିକ୍ତ ଚାଷ ଜମି ପାଇଁ ଜଳସେଚନର ସୁବିଧା ମିଳିବ। ଏଥିରେ ଉଭୟ ଜିଲାର ୫୫ ହଜାର ଚାଷୀ ଉପକୃତ ହେବେ। ଏଥିପାଇଁ ୬୮୫ କୋଟି ଟଙ୍କା ବିନିଯୋଗ କରାଯାଇଛି। ଏହି ଜଳସେଚନ ଦ୍ୱାରା ୫୦ ହଜାର ହେକ୍ଟରରୁ ଅଧିକ ଚାଷ ଜମିକୁ ପାଣି ସୁବିଧା କରାଯାଇପାରିଛି ।

ସେହିପରି ଦେଓ ଜଳସେଚନ ପ୍ରକଳ୍ପ ଦ୍ବାରା ମୟୁରଭଞ୍ଜର ପ୍ରାୟ ୧୦ ହଜାର ହେକ୍ଟର ଜମିକୁ ଜଳସେଚନର ସୁବିଧା ମିଳିବା ସହିତ ଏହାଦ୍ବାରା ୧୦୦ଟି ଗାଁର ଦୁଇ ଲକ୍ଷ ଲୋକ ଉପକୃତ ହେବେ । ଏଥିପାଇଁ କରଞ୍ଜିଆ ବ୍ଲକ୍‌ ହାତୀବାରିଠାରେ ୮୨୩ କୋଟି ଟଙ୍କାରେ ଦେଓ ନଦୀ ଉପରେ ୧୨୮୦ ମିଟର ଦୈର୍ଘ୍ୟର ଏକ ବନ୍ଧ ନିର୍ମାଣ କରାଯାଇଛି ।