ଅଣାୟତ୍ତ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୩।୧ : ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଫଳରେ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୩୩ ହଜାର ୭୫୦ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୧୨୩ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସେହିପରି ୧୦ ହଜାର ୮୪୬ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୮.୨୭ ପ୍ରତିଶତ ରହିଛି।

ଅପରପକ୍ଷରେ ସକ୍ରିୟ ମାମଲା ୧ ଲକ୍ଷ ୪୫ ହଜାର ୫୮୨ ରହିଛି। ସାପ୍ତାହିକ ପଜିଟିଭ୍‌ ହାର ୦.୬୮ ପ୍ରତିଶତରୁ କମ୍‌ ରହିଛି। ଦୈନିକ ପଜିଟିଭିଟି ହାର ୦.୭୯ ପ୍ରତିଶତ ରହିଛି। ସକ୍ରିୟ ମାମଲା ୦.୩୫ ପ୍ରତିଶତରେ ପହଞ୍ଚିଛି।

ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୮୧ ହଜାର ୮୯୩ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୮ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୧୪୫ କୋଟି ୬୮ ଲକ୍ଷ ୮୯ ହଜାର ୩୦୬ ଜଣଙ୍କୁ ଟିକାଦାନ ସରିଛି।

ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୪୨ ଲକ୍ଷ ୯୫ ହଜାର ୪୦୭ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଟିକାଦାନ ସତ୍ତ୍ୱେ ଦୈନିକ ସଂକ୍ରମଣ-ମୃତ୍ୟୁସଂଖ୍ୟା ନ ଥମିବାରୁ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି।