ଛତ୍ରପୁର,୨୬।୧୧(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ବିପୁଳିଙ୍ଗି ଗ୍ରାମରେ ଜଣେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ କରି ବିଲ ମଝିରେ ଫିଙ୍ଗିଦେବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଆକ୍ରମଣରେ ଗୁରୁତର ଆହତ ଯୁବକ ଜଣକ ହେଲେ ନବଘନ ଦାସ।
ମିଳିଥିବା ସୂଚନା ଅନୁଯାୟୀ, ବିପୁଳିଙ୍ଗି ଗ୍ରାମର ଶିବ ମନ୍ଦିର ନିକଟରେ ନବଘନଙ୍କୁ କେତେଜଣ ଦୁର୍ବୃତ୍ତ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଥିଲେ। ଆକ୍ରମଣ ପରେ ତାଙ୍କୁ ରକ୍ତାକ୍ତ ଅବସ୍ଥାରେ ବିଲ ମଝିରେ ଫିଙ୍ଗି ଦେଇ ଫେରାର ହୋଇଯାଇଥିଲେ।
ଖବର ପାଇ ପରିବାର ଲୋକେ ଘଟଣାସ୍ଥଳରେ ପହଞ୍ଚି ତାଙ୍କୁ ଉଦ୍ଧାର କରି ତୁରନ୍ତ ଛତ୍ରପୁର ମେଡିକାଲରେ ଭର୍ତ୍ତି କରିଥିଲେ। ତେବେ ତାଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବ୍ରହ୍ମପୁରକୁ ସ୍ଥାନାନ୍ତର କରାଯାଇଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

